
ବଢ଼ିଲା ମେୟର, ଡେପୁଟି ମେୟର, ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ, ଜାଣନ୍ତୁ କେତେ ……
ଭୁବନେଶ୍ବର/୧୩/୦୩ – ପୁଣି ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରାଜ୍ୟର ସମସ୍ତ ମହାନଗର ନିଗମ, ପୌର ପରିଷଦ ଓ ବିଜ୍ଞାପିତ ଅଞ୍ଚଳ ପରିଷଦର ମେୟର, ଡେପୁଟି ମେୟର, ଅଧ୍ୟକ୍ଷ, ଉପାଧ୍ୟକ୍ଷ, କର୍ପୋରେଟର ଓ କାଉନସିଲରଙ୍କ ପାରିତୋଷିକ ଓ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଓ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ – ୧୯୫୩ରେ ସଂଶୋଧନ ଆଣି ଏହି ବୃଦ୍ଧି କରାଯାଇଛି।
ପୂର୍ବରୁ ମହାନଗର ନିଗମର ମେୟର ପାରିତୋଷିକ ଭାବରେ ମାସିକ ୮ ହଜାର ଟଙ୍କା ପାଉଥିବା ବେଳେ, ଏହାକୁ ଏବେ ୫୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଡେପୁଟି ମେୟରଙ୍କ ପାରିତୋଷିକ ମାସିକ ୫ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିଭଳି ପୌର ପରିଷଦ ଅଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୫୦୦ ରୁ ୧୫ ହଜାର ଟଙ୍କା, ଉପଧ୍ୟକ୍ଷଙ୍କ ପାରିତୋଷିକ ମାସିକ ୧,୨୦୦ ରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଏନ୍.ଏ.ସି. ଅଧ୍ୟକ୍ଷମାନଙ୍କର ମାସିକ ପାରିତୋଷିକ ୧,୦୦୦ ଟଙ୍କାରୁ ୧୦ ହଜାର ଟଙ୍କା ଏବଂ ଉପାଧ୍ୟକ୍ଷଙ୍କ ମାସିକ ପାରିତୋଷିକ ୮୦୦ରୁ ୭,୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଅନ୍ୟପଟେ ମହାନଗର ନିଗମ ଗୁଡିକରେ ପ୍ରତି ବୈଠକ ପିଛା ଭତ୍ତା ବାବଦକୁ ୭୦୦ ଟଙ୍କା ପାଉଥିବା ବେଳେ ଏବେ ଏହାକୁ ୨,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ବିଭିନ୍ନ ପୌର ପରିଷଦ ଓ ଏନ୍.ଏ.ସି.ର କାଉନସିଲରଙ୍କ ଭତ୍ତା ୧୫୦ ରୁ ୫୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ଏତଦ୍ ବ୍ୟତୀତ ମହାନଗର ନିଗମର ଷ୍ଟାଣ୍ଡିଙ୍ଗ୍ କମିଟିର ସଦସ୍ୟମାନଙ୍କୁ ବୈଠକ ସମୟରେ ମଧ୍ୟ ଦୈନିକ ୨୦୦ ଟଙ୍କା ଭତ୍ତା ମିଳିବ।
ପୌରାଞ୍ଚଳଗୁଡିକର ନିର୍ବାଚିତ ପ୍ରତିନିଧିମାନଙ୍କ ପାଇଁ ଅନୁକମ୍ପା ସହାୟତା ଲାଗୁ କରାଯିବା ବିଷୟ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୃତ୍ୟୁ କ୍ଷେତ୍ରରେ ଏହି ସହାୟତା ରାଶି ୨ ଲକ୍ଷ ଟଙ୍କା ରଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଓ ଆଂଶିକ ଅକ୍ଷମତା କ୍ଷେତ୍ରରେ ଯଥାକ୍ରମେ ୨ ଲକ୍ଷ ଓ ୧ ଲକ୍ଷ ଟଙ୍କା ରଖାଯାଇଛି । ଏଥିପାଇଁ ରାଜ୍ୟ ସରକାର ୪ କୋଟି ୭୬ ଲକ୍ଷ ୫୨ ହଜାର ଟଙ୍କା ବାର୍ଷିକ ବ୍ୟୟ ବହନ କରିବେ। ବର୍ତ୍ତମାନ ରାଜ୍ୟର ବିଭିନ୍ନ ମ୍ୟୁନିସିପାଲିଟି ଓ ଏନ୍.ଏ.ସି.ରେ ୧୬୯୬ କାଉନସିଲର ଏବଂ ମହାନଗର ନିଗମରେ ୨୪୪ଜଣ କର୍ପୋରେଟର ନିର୍ବାଚିତ ହୋଇ କାମ କରୁଛନ୍ତି । ରାଜ୍ୟ ସରକାରଙ୍କ ଏହି ଘୋଷଣା ଫଳରେ ମେୟର, ଡେପୁଟି ମେୟର, ପୌର ପରିଷଦ ଅଧ୍ୟକ୍ଷ ତଥା ପୌର ପରିଷଦ ଉପାଧ୍ୟକ୍ଷ, ମହାନଗର ନିଗର କର୍ପୋରେଟର ପ୍ରମୁଖ ଉପକୃତ ହେବେ ।